ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଆଜି ଶ୍ରୀଜିଉ ମକର ଚୌରାଶି ବେଶରେ ସଜେଇ ହୋଇଛନ୍ତି । ଶ୍ରୀମନ୍ଦିରରେ ଗତକାଲି ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଯାଇଛି। ସେପଟେ ମାସେ ଧରି ଚାଲିଥିବା ପହିଲି ଭୋଗ ନୀତି ବି ଗତକାଲି ଶେଷ ହୋଇଛି। କୋଭିଡ୍‌ ପାଇଁ ଦର୍ଶନ ବନ୍ଦ ରହିଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ଭକ୍ତ ବଞ୍ଚିତ ହୋଇଥିଲେ ବି ପହିଲି ଭୋଗର ଶେଷ ଦିନରେ ହଜାର ହଜାର ଭକ୍ତ ଗତକାଲି ମହାପ୍ରସାଦ ପାଇ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିଛନ୍ତି।

ବର୍ଷକ ଯାକ କାଳିଆ ପାଖରେ ପାଳନ ହୁଏ ନୀତିକାନ୍ତି । ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହୋଇଥାଏ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ବାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଆଜି ଶ୍ରୀଜିଉ ମକର ଚୌରାଶି ବେଶରେ ସଜେଇ ହୋଇଛନ୍ତି ।

ଆଜି ପବିତ୍ର ମକର ସଂକ୍ରାନ୍ତିରେ ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯାଇଛି । ଏହା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥିଲା । ପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥିଲା । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥିଲା । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଆରମ୍ଭ ହେବ ଉତ୍ତରାୟଣ ଗତି । ଏହି ଉତ୍ତରାୟଣ ସମୟ ଅତିବ ଶୁଭଙ୍କର । ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାଶି ବେଶରେ ସଜିତ ହୋଇଛନ୍ତି ଶ୍ରୀଜିଉ ।

ମହାପ୍ରଭୁଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବା ବେଳେ ବଡଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାଷିତ ପୁଷ୍ପ ଓ ତୁଳସୀ ଆଦିକୁ ନେଇ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିରକୁ ଦିଆଯାଇଛି । ସେପଟେ ଗତକାଲି ରାତିରୁ କୁମ୍ଭାରପଡ଼ା ସ୍ଥିତ ଆଲାମଚଣ୍ଡୀ ମନ୍ଦିର ପକ୍ଷରୁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ମକର ଚାଉଳ ଭୋଗ ପାଇଁ ଏକ ପଟୁଆରରେ ଯାଇ ପାଞ୍ଚୋଟି ମକରତାଡ ଯୋଗାଇ ଦିଆଯାଇଛି । ମକର ସଂକ୍ରାନ୍ତି ଅବସରରେ ଆଜି ମହାପ୍ରଭୁଙ୍କ ମକରବେଶ ବା ମକରଚୌରାଶୀ ବେଶ ଅନୁଷ୍ଠିତ ହୋଇଛି । ମକରଚାଉଳ ଭୋଗ ମଧ୍ୟ କରାଯାଇଛି ।

ଅନ୍ୟପଟେ କୋଭିଡ୍ କଟକଣା ଯୋଗୁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରି ନ ପାରି ନିରାଶ ହୋଇଛନ୍ତି । ଆଜି ପ୍ରତି ଓଡିଆଙ୍କ ଘରେ ଘରେ ସୁସ୍ବାଦୁ ମକର ଚାଉଳ ପ୍ରସ୍ତୁତ କରି ତାକୁ ଭୋଗ କରିବା ପରେ ବନ୍ଧୁ ପରିଜନଙ୍କୁ ବଣ୍ଟନ କରାଯିବାର ପରମ୍ପରା ରହିଛି । ଆଜି ସକଳ ଶକ୍ତିର ଆଧାର ସୂର୍ଯ୍ୟ ସ୍ବରୁପୀ ଜଗନ୍ନାଥଙ୍କୁ ଦର୍ଶନ କଲେ ଅନନ୍ତ କୋଟି ପୂଣ୍ୟଫଳ ପ୍ରାପ୍ତ ହୋଇଥାଏ ।

Leave a Reply

Your email address will not be published. Required fields are marked *